Explore

Search

July 2, 2026 8:54 pm

ସୃଷ୍ଟି ହେଲେ ଲଘୁଚାପ : ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଜିଲ୍ଲାର ଆମ୍ବାଭୋନାରେ ସର୍ବାଧିକ ୧୮୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଅତାବୀରାରେ ୧୨୦ ମିଲିମିଟର ବର୍ଷା ହୋଇଛି। ସେହିପରି ସମ୍ବଲପୁରର ଜୁଜୁମରା, ହୀରାକୁଦ ଓ ବୁର୍ଲାରେ ମଧ୍ୟ ଉଲ୍ଲେଖନୀୟ ବର୍ଷା ରେକର୍ଡ କରାଯାଇଛି। ବରଗଡ଼ର ଭଟଲୀରେ ୧୧୦ ମିଲିମିଟରରୁ ଅଧିକ ଏବଂ ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୧୦୭ ମିଲିମିଟର ବର୍ଷା ହୋଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଚଳିତ ସପ୍ତାହ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଏହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି।

ବର୍ଷା ସହ ଘଣ୍ଟାପ୍ରତି ବେଗରେ ପବନ ବହିବା ଏବଂ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପଟେ ଲଗାତାର ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। କଟକ ଜିଲ୍ଲାର ଚହଟା ବାଲି ଭୁଆଶୁଣି ନିକଟରେ ନିର୍ମାଣଧୀନ ରାସ୍ତା ଓ ଗାର୍ଡୱାଲ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। ଘଟଣା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି।

ସେହିପରି ମାଲକାନଗିରି ଜିଲ୍ଲାର କାଲିମେଳା ବ୍ଲକ ଅନ୍ତର୍ଗତ ସିତାପାଲି ଘାଟି ରାସ୍ତାରେ ପାହାଡ଼ ଧସି ମାଟି, ପଥର ଓ ବଡ଼ ବଡ଼ ଗଛ ରାସ୍ତା ଉପରେ ପଡ଼ିଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। ଫଳରେ ସିତାପାଲି ଗାଁର ଲୋକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏପଟେ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score