ଭୁବନେଶ୍ୱର : ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତି) ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ । ଏହା ସାଧାରଣତଃ ଅପ୍ରେଲ ୧୪ ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ ।
ଏହି ଦିନରେ ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାହି ପଡୋଶୀ, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ ।
ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆଜି ବି ପ୍ରଚଳିତ ହୋଇ ଆସୁଛି । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି ।
ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି । ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି।
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
