ଭୁବନେଶ୍ବର: ଓଡିଶା ପରି କୃଷିଭିତ୍ତିକ ରାଜ୍ଯରେ ଚଳିତ ବର୍ଷ ଆର୍ଥିକ ବଜେଟରେ ପ୍ରାଣୀ ସମ୍ପଦର ବିକାଶ ପାଇଁ ୬୯୭ କୋଟି ଟଙ୍କା ରଖାଯାଇଛି। ରାଜ୍ୟରେ ଖୁବଶୀଘ୍ର ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଏବଂ ପ୍ରାଣୀ ମଙ୍ଗଳ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୂଚନା ଭବନଠାରେ ଅନୁଷ୍ଠିତ ଓଡ଼ିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ୨୩ତମ ସାଧାରଣ ଅଧିବେଶନରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି ଯେ ” ରାଜ୍ୟର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ବଚ୍ଛଳତା ହେତୁ ପ୍ରାଣୀପାଳନ ସବୁଠାରୁ ପ୍ରକୃଷ୍ଟ ମାଧ୍ଯମ। ରାଜ୍ୟର ପ୍ରାଣୀ ସମ୍ପଦର ବିକାଶ କ୍ଷେତ୍ରରେ ପ୍ରାଣୀ ଚିକିତ୍ସା ବିଭାଗର କର୍ମଚାରୀମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି। ଏବେ କୃଷି ଓ ପ୍ରାଣୀପାଳନ କ୍ଷେତ୍ରରେ ଯୁବବର୍ଗଙ୍କ ମଧ୍ୟରେ ଫାର୍ମ ହାଉସ କରିବାର ଆଗ୍ରହ ବୃଦ୍ଧି ପାଉଛି । ଯଦି ଯୁବ ସମାଜ କୃଷି ଓ ପ୍ରାଣୀପାଳନ କ୍ଷେତ୍ରକୁ ବ୍ୟାପକ ଭାବେ ଆସିବେ ଏବଂ ଏହାକୁ ନିଜର ମୁଖ୍ୟ ବୃତ୍ତି ରୂପେ ଗ୍ରହଣ କରିବେ ତେବେ କୃଷକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆସିବ ” ବୋଲି କହିଥିଲେ l ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କୃଷି ପରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ରାଜ୍ୟର ଅର୍ଥନୈତିକ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛି ବୋଲି ମତ ପ୍ରକାଶ କରିଥିଲେ l ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ଶାରଦା ପ୍ରସାଦ ପ୍ରଧାନ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ସଭାପତି ଉପେନ୍ଦ୍ର ନାଥ ରଣା ଧନ୍ଯବାଦ ଦେଇଥିଲେ l
Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |