Explore

Search

July 1, 2025 2:51 am

Genres

ଭୁବନେଶ୍ୱରରେ ହେବ ଏଲିଭେଟେଡ୍ କରିଡର ଓ ଇନର୍ ରିଙ୍ଗ ରୋଡ୍

ଟ୍ରାଫିକ ସମସ୍ୟା ଓ ଭିଡ଼ ହ୍ରାସ ନିମନ୍ତେ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ ନିମନ୍ତେ ନିଷ୍ପତ୍ତି ନେଇଛନ୍ତି । ରାଜଧାନୀରେ ଭିଡ଼ ହ୍ରାସ ସହିତ ସୌନ୍ଦର୍ଯ୍ୟକରଣକୁ ପ୍ରାଧାନ୍ୟ ଦେଇ ରାସ୍ତା ଓ ଫ୍ଲାଏଓଭର ଆଦି ନିର୍ମାଣ କରିବା ସହ ଏଥିଯୋଗୁ ବିସ୍ଥାପିତ ହେବାକୁ ଥିବା ମୋଟ ୩୬୬ଟି ପରିବାରକୁ ଆର୍ଥିକ ସହାୟତା ସରକାର ଯୋଗାଇ ଦେବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନା ଅନୁସାରେ, ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସ ନିମନ୍ତେ ପୂର୍ତ୍ତ ବିଭାଗର ପ୍ରସ୍ତାବ ଓ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା । ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଗୋଟିଏ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟାୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ ଏବଂ କଳ୍ପନା ଛକ, ମ୍ୟୁଜିୟମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏଓଭର ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି । ସେହିପରି ଇନଷ୍ଟିଚ୍ୟୁଟ୍ ଅଫ୍ ମ୍ୟାଥମେଟିକସରୁ ପଥରଗାଡ଼ିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫଟ୍ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି । ଏହାସହିତ ଡମଣାରୁ ପ୍ରେସ୍ ଛକ, କଳାରାହାଙ୍ଗରୁ ବରିମୁଣ୍ଡ ଓ କେଳୁଚରଣ ପାର୍କରୁ ବରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି । ଏହାସହିତ ଏକ ଇନର୍ ରିଙ୍ଗ ରୋଡ୍ ମଧ୍ୟ ନିର୍ମାଣ କରାଯିବ । ଏହି ସମସ୍ତ ନିର୍ମାଣ ଦ୍ୱାରା ଭୁବନେଶ୍ୱରରେ ଦିନ ପ୍ରତିଦିନ ବଢୁଥିବା ଟ୍ରାଫିକ ସମସ୍ୟାର ସମାଧାନ ହୋଇପାରିବ ଏବଂ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟକରଣରେ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଥିଲେ । ଏସବୁ ନିର୍ମାଣ ଯୋଗୁଁ ବିସ୍ଥାପିତ ହେବାକୁ ଥିବା ପ୍ରାୟ ୩୬୬ଟି ପରିବାରକୁ ଥଇଥାନ କରାଯିବା ସହିତ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score